ଭୁବନେଶ୍ୱର ୨୮।୦୫: ଏଥର ମୌସୁମୀରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି । ଆଜି ସକାଳୁ ଓଡ଼ିଶା ଉପକୂଳର ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ଉତ୍ତର ଦିଗକୁ ଗତି କରିବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ବୁଧବାର ଓ ଗୁରୁବାର ଦୁଇ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର(୨୮ ତାରିଖ) ଜଗତ୍ସିଂହପୁର, ପୁରୀ, କଟକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୫ଟି ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ଆକଳନ କରାଯାଇଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।